ସାରା ରାଜ୍ୟରେ ଜାରି ରହିଛି ପ୍ରବଳ ବର୍ଷା । ଭାରତୀୟ ପାଣିପାଗ ବିଭାଗ ଦ୍ୱାରା ଜାରି କରାଯାଇଥିବା ଚେତାବନୀ ଅନୁଯାୟୀ, ଉତ୍ତର-ପଶ୍ଚିମ ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ପ୍ରଭାବରେ ସମ୍ବଲପୁର ଜିଲ୍ଲାରେ ପ୍ରବଳରୁ ଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ଏହାକୁ ଦୃଷ୍ଟିରେ ରଖି ଜିଲ୍ଲା ପାଇଁ ‘ରେଡ୍ ୱାର୍ଣ୍ଣିଂ’ ଜାରି କରାଯାଇଛି ।
ସେପଟେ ଛାତ୍ରଛାତ୍ରୀମାନଙ୍କର ସୁରକ୍ଷାକୁ ପ୍ରାଥମିକତା ଦେଇ ସମ୍ବଲପୁର ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ, ବେସରକାରୀ ପ୍ରାଥମିକ, ମାଧ୍ୟମିକ, ଉଚ୍ଚ ମାଧ୍ୟମିକ ସ୍କୁଲ, ଓଡ଼ିଶା ଆଦର୍ଶ ବିଦ୍ୟାଳୟ, କେନ୍ଦ୍ରୀୟ ବିଦ୍ୟାଳୟ ଏବଂ ସମସ୍ତ ଅଙ୍ଗନବାଡ଼ି କେନ୍ଦ୍ର ଆଜି ବନ୍ଦ ରହିବ ।
ସେହିପରି ଯାଜପୁର, ଭଦ୍ରକ, ଦେବଗଡ଼, ସୁନ୍ଦରଗଡ଼, ବରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ଆଜି ସ୍କୁଲି ଛୁଟି ଘୋଷଣା କରାଯାଇଛି । ଲଗାଣ ବର୍ଷା ଓ ପ୍ରତିକୂଳ ପାଗକୁ ଦୃଷ୍ଟିରେ ରଖି ଜିଲ୍ଲାର ସମସ୍ତ ସରକାରୀ, ସରକାରୀ ଅନୁଦାନପ୍ରାପ୍ତ ଓ ବେସରକାରୀ ସ୍କୁଲ ବନ୍ଦ ରହିବ । ଏହି ନିଷ୍ପତ୍ତିରେ ଓଡ଼ିଶା ଆଦର୍ଶ ବିଦ୍ୟାଳୟ ଓ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟଗୁଡ଼ିକ ମଧ୍ୟ ସାମିଲ ଅଛନ୍ତି । ଛାତ୍ରଛାତ୍ରୀଙ୍କ ସୁରକ୍ଷା ଦୃଷ୍ଟିରୁ ଜିଲ୍ଲାପାଳଙ୍କ ନିର୍ଦ୍ଦେଶକ୍ରମେ ଜିଲ୍ଲା ଶିକ୍ଷା ଅଧିକାରୀ ଏହି ଆଦେଶ ଜାରି କରିଛନ୍ତି ।

