26 Sep 2026, Sat

କାଲି ସୃଷ୍ଟି ହେବ ଲଘୁଚାପ, ୨୩ରୁ ଓଡ଼ିଶାରେ ପ୍ରବଳ ବର୍ଷା; ୧୪ ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ

ଭୁବନେଶ୍ୱର: ବଙ୍ଗୋପସାଗରରେ ପୁଣି ଏକ ଲଘୁଚାପ ସୃଷ୍ଟି ହେବାକୁ ଯାଉଛି। ଉତ୍ତର ଥାଇଲାଣ୍ଡ ଉପରେ ସକ୍ରିୟ ଥିବା ଘୂର୍ଣ୍ଣିବଳୟ ପ୍ରଭାବରେ ଆସନ୍ତାକାଲି ସୁଦ୍ଧା ଲଘୁଚାପ କ୍ଷେତ୍ର ଗଠନ ହୋଇପାରେ। ପରବର୍ତ୍ତୀ ସମୟରେ ଏହା ଧୀରେ ଧୀରେ ଘନୀଭୂତ ହୋଇ ଅବପାତର ରୂପ ନେଇପାରେ।

ପାଣିପାଗ ବିଭାଗର ଆକଳନ ଅନୁସାରେ, ୨୧ କିମ୍ବା ୨୨ ତାରିଖ ବେଳକୁ ପୂର୍ବ-କେନ୍ଦ୍ରୀୟ ବଙ୍ଗୋପସାଗରରେ ଅବପାତରେ ପରିଣତ ହୋଇପାରେ। ପରେ ଏହା ପଶ୍ଚିମ-ଉତ୍ତରପଶ୍ଚିମ ଦିଗକୁ ଗତି କରି ଓଡ଼ିଶା ଓ ଉତ୍ତର ଆନ୍ଧ୍ରପ୍ରଦେଶ ଉପକୂଳ ଆଡ଼କୁ ଅଗ୍ରସର ହେବାର ସମ୍ଭାବନା ରହିଛି।

ଏହାପରେ ଉତ୍ତର-ପଶ୍ଚିମ ଦିଗରେ ଗତି କରି ଉତ୍ତର ଛତିଶଗଡ଼, ପୂର୍ବ ଉତ୍ତରପ୍ରଦେଶ ଏବଂ ସଂଲଗ୍ନ ବିହାର ଆଡ଼କୁ ଯାଇପାରେ। ତେବେ ଅବପାତଟି ପରବର୍ତ୍ତୀ ସମୟରେ ବାତ୍ୟାର ରୂପ ନେବ କି ନାହିଁ, ସେନେଇ ଏବେଠାରୁ କୌଣସି ସ୍ପଷ୍ଟ ସୂଚନା ଦିଆଯାଇନାହିଁ।

ସେପଟେ ୨୩ ତାରିଖରୁ ଓଡ଼ିଶାରେ ପ୍ରବଳ ବର୍ଷା ହେବାର ପୂର୍ବାନୁମାନ କରିଛି ଭାରତୀୟ ପାଣିପାଗ ବିଭାଗ। ଲଘୁଚାପର ପ୍ରଭାବରେ ରାଜ୍ୟରେ ବର୍ଷାର ପରିମାଣ ଆହୁରି ବଢ଼ିପାରେ।

ଅନ୍ୟପଟେ, ଆଜି ଉତ୍ତର ଓ ଉପକୂଳ ଓଡ଼ିଶାର ୧୪ଟି ଜିଲ୍ଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି। ବିଶେଷକରି ସୁନ୍ଦରଗଡ଼, କେନ୍ଦୁଝର ଓ ମୟୂରଭଞ୍ଜ ଜିଲ୍ଲାରେ ପ୍ରବଳ ବର୍ଷା ନେଇ ଭୁବନେଶ୍ୱର ଆଞ୍ଚଳିକ ପାଣିପାଗ କେନ୍ଦ୍ର ସତର୍କ କରିଛି।

ତେଣୁ ଆଗାମୀ କିଛି ଦିନ ରାଜ୍ୟର ପାଣିପାଗ ଉପରେ ନଜର ରହିବ। ଲଘୁଚାପର ଗତିପଥ ଓ ତୀବ୍ରତା ସମ୍ପର୍କରେ ପରବର୍ତ୍ତୀ ବୁଲେଟିନ୍‌ରେ ଅଧିକ ସ୍ପଷ୍ଟ ଚିତ୍ର ମିଳିପାରେ।

Leave a Reply

Your email address will not be published. Required fields are marked *